Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
୨୪ ଘଣ୍ଟାରେ ଲଘୁଚାପ : ସପ୍ତାହେ ବର୍ଷା

୨୪ ଘଣ୍ଟାରେ ଲଘୁଚାପ : ସପ୍ତାହେ ବର୍ଷା

ଭୁବନେଶ୍ବର: ଗତକାଲି ମ୍ୟାଁମାର୍‌ ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ତତ୍‌-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳ ଉପରିସ୍ଥ ବାୟୁମଣ୍ଡଳର ୫.୮ କି.ମି ପର୍ଯ୍ୟନ୍ତ ବ୍ୟାପିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ସପ୍ତାହବ୍ୟାପୀ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ବାଲେଶ୍ବର, ଯାଜପୁର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଏବଂ କେନ୍ଦ୍ରାପଡ଼ା ଜିଲାରେ ବନ୍ୟା ପରିସ୍ଥିତିରେ ସୁଧାର ଆସିଥିବା ବେଳେ ପୁଣି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗିର, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ, ଗଜପତି, ଗଞ୍ଜାମ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ରାୟଗଡ଼ା, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହିବା ହେତୁ ପାଣିପାଗ ବିଭାଗ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦେଇଛି। ପାଣିପାଗ ବିଶେଷଜ୍ଞ ବିଶ୍ବଜିତ୍ ସାହୁ କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ବିଶେଷକରି, ୨୩ ଓ ୨୪ ତାରିଖରେ ଉତ୍ତର ଓଡ଼ିଶା ସହ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି, ପଶ୍ଚିମ ଓ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ମଧ୍ୟ ବର୍ଷା ହୋଇପାରେ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Ama TV Khabar